ନ୍ୟୁଜ 365 (ବ୍ୟୁରୋ) ସୋମବାର ଦିନ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି । ରବିବାରର ଲଘୁଚାପ କ୍ଷେତ୍ର ସୋମବାର ଦିନ ଦୁର୍ବଳ ହୋଇଥିଲେ ହେଁ ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ପଶ୍ଚିମ ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ୭.୬ କିମି ଯାଏ ବ୍ୟାପିଛି। ଏହାର ପ୍ରଭାବରେ ଓଡ଼ିଶାର କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ସୋମବାର ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଯାଇଛି। ଅନ୍ୟପକ୍ଷରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୧୯ ରୁ ୨୨ ତାରିଖ ଯାଏ ରାଜ୍ୟରେ ବିସ୍ତୃତ ବର୍ଷା ତଥା କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ମଙ୍ଗଳବାର ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ସେହିଭଳି ୧୯ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଧା, ଜଗତସିଂହପୁର ଓ କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୦ ତାରିଖ ଦିନ ରାଜ୍ୟରେ ବର୍ଷାର ପ୍ରଭାବ ଓ ବିସ୍ତୃତି ବଢ଼ିବ। ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିସହ ଉପକୂଳ ସହ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୧ ତାରିଖ ଦିନ ବି ସାରା ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।