ନ୍ୟୁଜ 365 (ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାର ପ୍ରଭାବରେ ରାଜ୍ୟରେ ୨୫ ତାରିଖରୁ ବର୍ଷାର ପରିମାଣ ବଢ଼ିବ। ମୌସୁମୀଜନିତ ନିମ୍ନଚାପରେଖା ଗତକାଲିଠାରୁ ଗୁଜରାଟର ଦେସାରୁ ବାହାରି ରିଲମ୍, ବେତୁଲ, ବ୍ରହ୍ମପୁରୀ, କାଙ୍କେର, ଆନ୍ଧ୍ରପ୍ରଦେଶର କଳିଙ୍ଗ ପାଟନମ୍ରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏ ଲମ୍ବିଛି। ଫଳରେ ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀର ଆଦି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ୨୫ ତାରିଖରୁ ରାଜ୍ୟରେ ଲଘୁଚାପଜନିତ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୨୫ ତାରିଖ ଦିନ କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହା ସହ ସୁବର୍ଣ୍ଣପୁର, ବୌଦ୍ଧ, କଟକ, ଖୋର୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର ଓ ନୟାଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି । ଏହି ସବୁ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ୨୬ ଓ ୨୭ରେ ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।