ଓଡ଼ିଶା 365 (ବ୍ୟୁରୋ) : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଏହାର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି । ଆଜି ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି । ଏହି ଜିଲ୍ଲାଗୁଡିକ ହେଲା ମାଲକାନଗିରି, ନବରଙ୍ଗପୁର, କୋରାପୁଟ । ପାଣିପାଗ ବିଭାଗ ପକ୍ଷରୁ ଏହି ତିନୋଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶର ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଜି ମାଲକାନଗିରି, ନବରଙ୍ଗପୁର, କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହାସହିତ ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ସୁବର୍ଣ୍ଣପୁର, ଓ ସମ୍ବଲପୁର ଆଦି ୧୩ଟି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେଣୁକରି ଏହିସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।