ଓଡ଼ିଶା 365 (ବ୍ୟୁରୋ): ଆଜି ପବିତ୍ର ଜନ୍ମାଷ୍ଟମୀ । ଏଥିପାଇଁ ଉତ୍ସବ ମୁଖର ଗାଁ ଠୁ ସହର। ବିଭିନ୍ନ କୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳୁଛି। ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ମଧ୍ୟ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତି । ସଂନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ। ଗତକାଲି ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଡ ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା। ଆଜି ମହାଜନ ସେବକଙ୍କ ଦ୍ଵାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ।
ଜନ୍ମ ଚକଡାରେ ନିଶାର୍ଦ୍ଧରେ ଦେବକୀ ଓ ବସୁଦେବ ଔରସରୁ ଜନ୍ମ ନେବେ ଭଗବାନ ଶ୍ରୀକୃଷ୍ଣ । ଅନ୍ୟପକ୍ଷରେ ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ମଠବାଡି ମାନଙ୍କରେ ଆଜି ରାତିରେ ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ । ସଂନ୍ଧ୍ୟାଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଭଣ୍ତାର ଘର ସମ୍ମୁଖ ଭାଗରେ ପୂଜାପଣ୍ତା ସେବାୟତ ମାନେ ପଞ୍ଚବର୍ଣ୍ଣ ମୁରୁଜରେ ଜନ୍ମମଣ୍ତଳୀ ଅଙ୍କନ କରିବେ । ସେଠାରେ ସୁନାର କୃଷ୍ଣ ମୁର୍ତ୍ତି ରଖାଯାଇ ଦକ୍ଷିଣ ଘରୁ ମଦନମୋହନଙ୍କୁ ଅଣାଯିବ । ଦୁଇଜଣ ମହାଜନ ସେବକ ଦେବକୀ ଓ ବସୁଦେବ ଚରିତ୍ର ହୋଇ ଏହି ଜନ୍ମନୀତି ପାଳନ କରିବେ । ପରେ ମଦନମୋହନଙ୍କୁ ନାଭିକଟାମଣ୍ତପକୁ ନିଆଯାଇ କୃଷ୍ଣଜନ୍ମ ଠାରୁ ଉପନୟନ ପର୍ଯ୍ୟନ୍ତ ନୀତି ଅନୁଷ୍ଠିତ ହେବ ।