ଓଡ଼ିଶା 365 (ବ୍ୟୁରୋ): ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ସୃଷ୍ଟ ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ଆସନ୍ତା ତିନି ଦିନ ଯାଏ ବର୍ଷା ଢାଳିବ। ଆଜି ଏବଂ ଆସନ୍ତାକାଲି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଇଏମଡି । ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲା ଅର୍ଥାତ୍ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଆଜି ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଏହା କ୍ରମଶଃ ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ମୁହାଁଇବ। ଫଳରେ ଆସନ୍ତାକାଲି ୧୩ରୁ ଅଧିକ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି । ବିଶେଷ କରି କୋରାପୁଟ, ମାଲକାନଗିରି, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପପୁର, ରାୟଗଡ଼ା, କଳାହାଣ୍ଡି, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଝାରସୁଗୁଡ଼ା, ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ ।