ଓଡ଼ିଶା 365 (ବ୍ୟୁରୋ) : ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ । ଆଜି ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ମିଆଁମାର ଉପକୂଳସ୍ଥ ବାୟୁମଣ୍ଡଳରେ ୩.୧ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଖବର ଅନୁଯାୟୀ, ଆସନ୍ତା ୮ ଦିନରେ ରାଜ୍ୟରେ ଦୁଇ ଦୁଇଟି ଲଘୁଚାପ ସୃଷ୍ଟି ହେବ । ୧୨ ଓ ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ଲଘୁଚାପର ରୂପ ନେବ । ଲଘୁଚାପ ପ୍ରଭାବରେ ରାଜ୍ୟରେ ଭାରି ବର୍ଷା ହେବ ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ଡକ୍ଟର ସୁରେନ୍ଦ୍ର ନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି ।
ପ୍ରଭାବରେ ରାଜ୍ୟରେ ଆସନ୍ତା ୧୫ ତାରିଖ ଯାଏ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଆଲର୍ଟ ଜାରି କରାଯାଇଛି । ଆଜି ପାଇଁ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଥିବା ବେଳେ ବୁଧବାର ପାଇଁ ୭ଜିଲ୍ଲାକୁ ଅରେଞ୍ଜ ୱାର୍ଣିଂ ଜାରି କରାଯାଇଛି । ଗଞ୍ଜାମ, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, କଟକ ଓ ଅନୁଗୁଳ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ।
ସୋନପୁର, ବଲାଙ୍ଗୀର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ପୁରୀ, ଖୋର୍ଦ୍ଧା, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ସମ୍ବଲପୁର ଓ ଦେବଗଡ଼ରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବୁଧବାର ଉପକୂଳ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ୧୫ ତାରିଖ ଯାଏ ସାରା ଓଡ଼ିଶାରେ ବର୍ଷା ଜାରି ରହିବ ।