ଓଡ଼ିଶା 365 (ବ୍ୟୁରୋ): ଆଜି ଭୁବନେଶ୍ୱର, ବାଲିଅନ୍ତା ଓ ଜଟଣୀ ବ୍ଲକର ଆବାସିକ କଲୋନୀ ଗୁଡିକ ପାଇଁ ୩୯ କୋଟି ୨୫ ଲକ୍ଷ ଟଙ୍କାର ୪୨୯ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତ ଅଗଷ୍ଟ ମାସ ୨୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନଙ୍କ ଖୋର୍ଦ୍ଧା ଜିଲ୍ଲା ଗସ୍ତ ସମୟରେ ସମ୍ପୃକ୍ତ ଅଞ୍ଚଳବାସୀ ତାଙ୍କୁ ଭେଟି ଆବାସିକ କଲୋନୀଗୁଡିକର ରାସ୍ତା ଓ ବିଦ୍ୟୁତ ସମସ୍ୟାର ସମାଧାନ ପାଇଁ ସେମାନଙ୍କର ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ପାଣ୍ଡିଆନ୍। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏକ ବୈଷୟିକ ଟିମ୍ ଗଠନ କରାଯାଇ ସେ ସବୁ ଅଞ୍ଚଳକୁ ଅନୁଧ୍ୟାନ ପାଇଁ ପଠାଯାଇଥିଲା। ବୈଷୟିକ ଟିମ୍ ସେସବୁ ଅଞ୍ଚଳରେ ୪୨୯ଟି ରାସ୍ତା ଯାହା ୮୨ କି.ମି.ରୁ ଅଧିକ ଅଞ୍ଚଳ ପରିମିତ ତାକୁ ଚିହ୍ନଟ କରି ଉନ୍ନତିକରଣ ଓ ବିଦ୍ୟୁତୀକରଣ ପାଇଁ ରିପୋର୍ଟ ପ୍ରଦାନ କରିଥିଲେ।
ତେବେ ରିପୋର୍ଟ ପାଇବା ପରେ ଆବାସିକ କଲୋନୀଗୁଡିକର ବାସିନ୍ଦାଙ୍କ ସହ ଗତ ସେପ୍ଟମ୍ବର ୨୭ ତାରିଖରେ ଅଞ୍ଚଳର ଉନ୍ନତିକରଣ ପାଇଁ ଆଲୋଚନା କରାଯାଇଥିଲା। ଏହାପରେ ଆଜି ମୁଖ୍ୟମନ୍ତ୍ରୀ ୪୨୯ ରାସ୍ତା ପ୍ରକଳ୍ପକୁ ଅନୁମୋଦନ ପ୍ରଦାନ କରିଛନ୍ତି। ୪୨୯ଟି ରାସ୍ତା ପ୍ରକଳ୍ପ ମଧ୍ୟରେ ଭୁବନେଶ୍ୱର ବ୍ଲକରେ ୧୪୦ଟି, ଜଟଣୀ ବ୍ଲକରେ ୨୪୬ଟି ଓ ବାଲିଅନ୍ତା ବ୍ଲକର ୪୩ଟି ପ୍ରକଳ୍ପ ରହିଛି। ଏସବୁ ଅଞ୍ଚଳରେ ରାସ୍ତା ନିର୍ମାଣ, ଉନ୍ନତିକରଣ ଓ ବିଦ୍ୟୁତୀକରଣ କାର୍ଯ୍ୟ କରାଯିବ। ଏହି ସବୁ ପ୍ରକଳ୍ପ ମାଧ୍ୟମରେ ୩ ଲକ୍ଷରୁ ଅଧିକ ଜନସାଧାରଣ ଉପକୃତ ହେବେ। ପ୍ରକଳ୍ପ କାର୍ଯ୍ୟ ୩ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।