ଓଡ଼ିଶା 365 (ବ୍ୟୁରୋ) : ଆପଣ ଜାଣନ୍ତିକି ଦେଶରେ ପ୍ରତିବର୍ଷ କେତେ ଥର ମା ଦୁର୍ଗା ପୂଜା ପାଇଥାନ୍ତି ? ତେବେ ଜାଣନ୍ତୁ, ବର୍ଷକୁ ଦୁଇଥର ଦେବୀ ଦୁର୍ଗାଙ୍କର ପୂଜା ହୋଇଥାଏ । ଶରତ ଋତୁରେ ଆଶ୍ୱିନ ମାସ ଶୁକ୍ଳ ପକ୍ଷର ପୂଜାକୁ ‘ଦେବୀ ପୂଜା’ ଏବଂ ବସନ୍ତ ଋତୁରେ ଚୈତ୍ରମାସ ଶୁକ୍ଳ ପକ୍ଷର ପୂଜାକୁ ‘ବାସନ୍ତୀ ପୂଜା’ କୁହାଯାଏ । ତେବେ ଭାରତୀୟ ପରମ୍ପରା, ନୀତି ଅନୁସାରେ ଭାରତରେ ପ୍ରତିବର୍ଷ ଦୁଇଥର ଦେବୀ ଦୁର୍ଗାଙ୍କର ପୂଜା ଅନୁଷ୍ଠିତ ହୁଏ । ଏହି ଶାରଦୀୟ ପର୍ବ ଭାରତର ପୁରପଲ୍ଲୀରେ ଦଶହରା ପର୍ବରୂପେ ପାଳନ କରାଯାଏ । ଏହି ପର୍ବର ମୂଳ ଲକ୍ଷ୍ୟ ହେଉଛି ଦେବୀ ଉପାସନା ଓ ଆରାଧନା ।
ଦୁର୍ଗାପୂଜା ପରି ଦଶହରା ପର୍ବ ମଧ୍ୟ ବର୍ଷକରେ ଦୁଇଥର ପାଳନ କରାଯାଏ । ଜ୍ୟେଷ୍ଠମାସ ଶୁକ୍ଳଦଶମୀ ହେଉଛି ଗଙ୍ଗାମାତାଙ୍କର ଜନ୍ମଦିବସ ଓ ଏହିଦିନ ଗଙ୍ଗାପୂଜା କରି ଗଙ୍ଗାନଦୀରେ ସ୍ନାନ କଲେ ତ୍ରିବିଧ ପାପ ଖଣ୍ଡନ ହୁଏ ବୋଲି ଏହି ତିଥିକୁ ‘ଦଶହରା’ ବା ‘ଦଶବିଧ’ ପାପହରଣ ଦିବସ କୁହାଯାଏ । ଏହି ତିଥିଟି ଲୋକମୁଖରେ ‘ଗଙ୍ଗା ଦଶହରା’ ନାମରେ ପରିଚିତ ଓ ଅନ୍ୟ ଦଶହରା ପର୍ବଟି ଆଶ୍ୱିନ ମାସ ଶୁକ୍ଳପକ୍ଷ ଦଶମୀ ତିଥିରେ ପାଳିତ ହୁଏ ଓ ଏହି ଦୁର୍ଗାପୂଜାର ଶେଷ ଦିବସ । ଏହି ଦଶହରା ପର୍ବ ଭାରତରେ ସର୍ବଜନବିଦିତ ପର୍ବ । ତେଣୁ ‘ଦଶହରା’ କହିଲେ ସମସ୍ତେ ଆଶ୍ୱିନ ଶୁକ୍ଳ ଦଶମୀକୁ ହିଁ ବୁଝନ୍ତି ।