ଓଡ଼ିଶା 365 (ବ୍ୟୁରୋ): ଆଜି ଆଶ୍ୱିନ ମାସ ପୂର୍ଣ୍ଣିମା ତିଥି ‘କୁମାର ପୂର୍ଣ୍ଣିମା’। ସବୁ କୁଆଁରୀଙ୍କ ପାଇଁ ଏହା ବଡ଼ ଉତ୍ସବ । ଏଥିପାଇଁ ଚଳଚଞ୍ଚଳ ପୁରପଲ୍ଲୀ। ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିବେ କୁମାରୀମାନେ। ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ଏହି ଦିନ କୁମାରୀମାନେ ସୁନ୍ଦର ବର ପାଇବା ଉଦ୍ଦେଶ୍ୟରେ କାର୍ତ୍ତିକେୟଙ୍କୁ ଆରାଧନା କରିବା ସହ ଚନ୍ଦ୍ର ପୂଜା ମଧ୍ୟ କରିଥାନ୍ତି । ଏହା ସହ ସେମାନେ ସନ୍ଧ୍ୟା ସମୟରେ ତୁଳସୀ ଚଉରା ଆଗରେ ବନ୍ଦାପନା ମଧ୍ୟ କରିଥାନ୍ତି । ପୁରାଣରେ କଥିତ ଅଛି ଯେ ତୁଳସୀ ଦେବୀ ଜଣେ ପରମ ପତିବ୍ରତା ନାରୀ ଥିଲେ । ତାଙ୍କର ପତିବ୍ରତା ଗୁଣ ଯୋଗୁଁ ହିଁ ତାଙ୍କୁ ବୃକ୍ଷ ରୂପରେ ପୂଜା ପାଇବାର ବର ମିଳିଥିଲା । ଯୁଗେ ଯୁଗେ କୁମାରୀମାନେ ଉତ୍ତମ ବର ପାଇବା ପାଇଁ ଓ ବିବାହିତା ନାରୀମାନେ ନିଜ ସ୍ୱାମୀଙ୍କ ସୁଖ ସମୃଦ୍ଧି ପାଇଁ ଚଉରା ପୂଜା କରି ଆସିଛନ୍ତି । ତେଣୁ କୁମାର ପୂର୍ଣ୍ଣିମାରେ ମଧ୍ୟ ଚଉରା ପୂଜା କରାଯାଇଥାଏ ।
ଏହି ଦିନ ଘରର କୁମାରୀମାନେ ଭୋର୍ରୁ ଉଠି ସ୍ନାନାଦି ନିତ୍ୟକର୍ମ ସାରି ନୂତନ ବସ୍ତ୍ର ପରିଧାନ କରିଥାନ୍ତି । ଏହାପରେ ସେମାନେ ଆଞ୍ଜୁଳାରେ ସାତ ପ୍ରକାରର ଫଳ ନେଇ ସୂର୍ଯ୍ୟଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଥାନ୍ତି । ଏହି ବିଧିକୁ ଆଞ୍ଜୁଳା ଟେକା ବିଧି କୁହାଯାଏ । ତେବେ ଓଡ଼ିଶାର କେତେକ ଅଞ୍ଚଳରେ ଏହି ଆଞ୍ଜୁଳା ଟେକା ବିଧି ପାଳନ କରାଯାଏ ନାହିଁ । ଏହି ପର୍ବରେ କୁମାରୀମାନେ ଦିନସାରା ଉପବାସ କରିଥାନ୍ତି । ଏହିଦିନ କୁମାରୀ ତଥା ବିବାହିତା ମହିଳାମାନେ ପାଦରେ ଅଳତା ଲଗାଇଥାନ୍ତି । ଅଳତା ହେଉଛି ଓଡ଼ିଆ ପରମ୍ପରାରେ ଅହିସୁଲକ୍ଷଣୀ ହେବାର ପ୍ରତୀକ । ପ୍ରତ୍ୟେକ ପୂଜା ପର୍ବରେ ଓଡ଼ିଆ ଘରର ନାରୀମାନେ ଅଳତା ଲଗାଇ ନିଜ ଜୀବନସାଥୀର ଦୀର୍ଘ ଜୀବନ କାମନା କରିଥାନ୍ତି । ସନ୍ଧ୍ୟା ସମୟରେ କୁମାରୀମାନେ ପୁଣି ନୂତନ ବସ୍ତ୍ର ପରିଧାନ କରି ଚନ୍ଦ୍ର ଓ ଚଉରାଙ୍କୁ ପୂଜା କରିଥାନ୍ତି । କୁମାର ପୂର୍ଣ୍ଣିମାର କିଛିଦିନ ପୂର୍ବରୁ ଚଉରାକୁ ଭଲ ଭାବରେ ସଫା କରି ରଙ୍ଗ କରାଯାଇଥାଏ । କୁମାର ପୂର୍ଣ୍ଣିମା ଦିନ ସନ୍ଧ୍ୟାରେ ଚଉରା ଆଗରେ ମୁରୁଜରେ ବିଭିନ୍ନ ପ୍ରକାର ଚିତ୍ର କରାଯାଇଥାଏ ଓ ଚଉରାକୁ ଫୁଲ ଓ ସିନ୍ଦୁରରେ ସଜାଯାଇଥାଏ । ଚଉରାକୁ ସଜାଇବାରେ ମୁଖ୍ୟତଃ କଇଁ ଫୁଲ ବ୍ୟବହାର କରାଯାଇଥାଏ । ଚନ୍ଦ୍ର ଉଦୟ ହେଲେ କଇଁ ଫୁଟିଥାଏ । ଏହି ପର୍ବରେ ଚନ୍ଦ୍ରଙ୍କ ପୂଜା କରାଯାଉଥିବାରୁ ଏଥିରେ କଇଁ ଫୁଲ ବିଶେଷ ଭାବରେ ବ୍ୟବହୃତ ହୋଇଥାଏ ।
ଏହି ଦିନ ତୁଳସୀ ଗଛରେ ନାଲି ଶଙ୍ଖା ଓ ସାଲୁ କନା ସହ ନୂଆ ବସ୍ତ୍ରଟିଏ ମଧ୍ୟ ଦିଆଯାଇଥାଏ । ଚଉରା ଆଗରେ ପିଢ଼ାରେ ଗୁଆ ରଖି ତା’ ଉପରେ ଦୁବ ଘାସ, ଫୁଲ, ବରକୋଳି ପତ୍ର ଦେଇ ସଜାଯାଇଥାଏ । ଚଉରା ପାଖରେ ସ୍ଥାପନ କରାଯାଇଥିବା କଳସରେ ମଧ୍ୟ ଆମ୍ବଡାଳ, ଗୁଆ, ସିନ୍ଦୁର, ଚନ୍ଦନ ଇତ୍ୟାଦି ଦେଇ ଅନୁରୂପ ଭାବେ ସଜାଯାଇଥାଏ । ଭୋଗ ପାଇଁ ଖଇ, ନଡ଼ିଆ, କଦଳୀ, ଛେନା, ଦହି, କ୍ଷୀର, କାକୁଡ଼ି, ତାଳସଜ, ମହୁ, ଅଦା, ଘିଅ, ଆଖୁ, ଗଜା ମୁଗ, ସେଓ, ଚିନି ଇତ୍ୟାଦି ପଡ଼ି ଏକ ଚକଟା ପ୍ରସ୍ତୁତ କରାଯାଇଥାଏ । ଏହି ଚକଟାକୁ ଚାନ୍ଦ ଚକଟା କୁହାଯାଏ । ଏହି ପର୍ବରେ ତିଆରି କରାଯାଉଥିବା ମଣ୍ଡା ପିଠା ଓଡ଼ିଶାର ମୁଖ୍ୟ ଆକର୍ଷଣମାନଙ୍କ ମଧ୍ୟରୁ ଅନ୍ୟତମ । ପୂଜା ସମୟରେ ଚାନ୍ଦ ଚକଟା ଓ ମଣ୍ଡା ପିଠା ଭୋଗ ଏବଂ ଚନ୍ଦ୍ରଙ୍କୁ ଅର୍ପଣ କରି ସେମାନଙ୍କୁ ଶଙ୍ଖ ଓ ହୁଳହୁଳି ସହ ଦୀପରେ ବନ୍ଦାଇ ଦିଆଯାଏ । ଯେଉଁ ଘରେ କୌଣସି କୁମାରୀ କନ୍ୟା ନଥାନ୍ତି, ସେ ଘରେ ବିବାହିତା ସ୍ତ୍ରୀମାନେ ନିଜ ସ୍ୱାମୀଙ୍କ ସୁଖ ସମୃଦ୍ଧି କାମନା କରି ଚଉରା ଓ ଚନ୍ଦ୍ର ପୂଜା କରିଥାନ୍ତି । ପୂଜା ସରିଲା ପରେ ଭୋଗ ଖାଇ କୁମାରୀ କନ୍ୟାମାନେ ନିଜର ସାରା ଦିନର ଉପବାସ ଭାଙ୍ଗିଥାନ୍ତି କିନ୍ତୁ ଚଳିତ ବର୍ଷ କୁମାର ପୂର୍ଣ୍ଣିମାରେ ପଡ଼ୁଛି ଚନ୍ଦ୍ରଗ୍ରହଣ। ତେବେ ଆଜି ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ହେବ । ଗ୍ରହଣ ସ୍ପର୍ଶର ୯ ଘଣ୍ଟା ପୂର୍ବରୁ ଅର୍ଥାତ ପାକତ୍ୟାଗ ସମୟ ଅପରାହ୍ନ ୪ଟା ୪ମିନିଟ୍ ୫୫ ସେକେଣ୍ଡରୁ ଆରମ୍ଭ ହୋଇ ରାତି ୨ଟା ୨୪ ମିନିଟ୍ ୨ ସେକେଣ୍ଡ ପର୍ଯ୍ୟନ୍ତ ରହିବ । ଆଜି ରାତି ଗୋଟାଏ ୪ ମିନିଟ୍ ୫୫ ସେକେଣ୍ଡରେ ଗ୍ରହଣ ସ୍ପର୍ଶ କରିବ । ରାତି ୨ଟା ୨୪ ମିନିଟ୍ ୨ ସେକେଣ୍ଡରେ ଗ୍ରହଣ ଛାଡ଼ିବ । ଅର୍ଥାତ୍ ଗ୍ରହଣ ସ୍ପର୍ଶର ଅବଧି ୧ ଘଂଟା ୧୯ ମିନିଟ୍ ୭ ସେକେଣ୍ଡ ରହିବ। ତେବେ ଏଥର ଗ୍ରହଣ ପଡୁଥିବାରୁ କୁମାର ପୂର୍ଣ୍ଣିମା ଚାନ୍ଦପୂଜା ବିଧିରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି । ଚନ୍ଦ୍ରପୂଜା ସନ୍ଧ୍ୟାରେ କରା ନ ଯାଇ ଅପରାହ୍ନ ୪ଟା ପୂର୍ବରୁ କରାଯିବ ବୋଲି କୁହାଯାଉଛି ।