ଗୁରୁତ୍ୱପୂର୍ଣ୍ଣ ବିଦେଶ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତକାଲି ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କୁ ଭେଟି ଭାରତ ଓ ସିଙ୍ଗାପୁର ମଧ୍ୟରେ ବିଦ୍ୟାଳୟ ଶିକ୍ଷା, ଧନ୍ଦାମୂଳକ ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ବୃଦ୍ଧି ଏବଂ ବ୍ୟାପକ କରିବା ଉପରେ ଫଳପ୍ରଦ ଆଲୋଚନା କରିଛନ୍ତି । ପ୍ରତିଭା, ସମ୍ବଳ ଓ ମାର୍କେଟ୍ ଭଳି ତିନୋଟି ପ୍ରମୁଖ ସ୍ତମ୍ଭ ମାଧ୍ୟମରେ ଦୁଇ ଦେଶର ଭାଗିଦାରୀକୁ ସୁଦୃଢ଼ କରିବା ଉପରେ ଉଭୟ ମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହୋଇଛି ।
ବିଶେଷଭାବରେ ଅତ୍ୟାଧୁନିକ ଜ୍ଞାନକୌଶଳ ବା ଡିପଟେକ୍, ଷ୍ଟାର୍ଟଅପ୍ ଏବଂ ଇନୋଭେସନ ପରିସଂସ୍ଥାନକୁ ଆଗକୁ ବଢ଼ାଇବାରେ ଭାରତ ସିଙ୍ଗାପୁରକୁ ଏକ ବିଶ୍ୱସନୀୟ ଜ୍ଞାନ ସହଯୋଗୀ ରାଷ୍ଟ୍ର ଭାବରେ ଦେଖୁଛି ବୋଲି ଶ୍ରୀ ପ୍ରଧାନ ଗୁରୁତ୍ୱାରୋପ କରିଛନ୍ତି । ଗୁରୁତ୍ୱପୂର୍ଣ୍ଣ ଏବଂ ଉଭା ହେଉଥିବା କ୍ଷେତ୍ରରେ ସହଯୋଗ ସମେତ ଭାରତ-ସିଙ୍ଗାପୁର ସମ୍ପର୍କକୁ ଏକ ବ୍ୟାପକ ଭାଗିଦାରୀରେ ପରିଣତ କରିବା ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଶ୍ରୀ ୱଙ୍ଗ ଏକ ସୁଦୃଢ଼ ଢାଞ୍ଚା ପ୍ରସ୍ତୁତ କରିଛନ୍ତି ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ସେହିପରି ସିଙ୍ଗାପୁରର ଉପପ୍ରଧାନମନ୍ତ୍ରୀ ତଥା ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ଶ୍ରୀ ଜିଏଏନ୍ କିମ୍ ୟୋଙ୍ଗଙ୍କୁ ସାକ୍ଷାତ କରି ଶ୍ରୀ ପ୍ରଧାନ ଭବିଷ୍ୟତ ପିଢ଼ିର ସହଭାଗିତା ସୃଷ୍ଟି କରିବା ପାଇଁ ଦକ୍ଷତାଭିତ୍ତିକ ଶିକ୍ଷା ଏବଂ ପ୍ରଶିକ୍ଷଣରେ ସହଯୋଗ ଉପରେ ଆଲୋଚନା କରିଥିଲେ ।
ଏହା ପୂର୍ବରୁ ଶ୍ରୀ ପ୍ରଧାନ ସିଙ୍ଗାପୁରର ଶିକ୍ଷା ମନ୍ତ୍ରୀ ଚାନ୍ ଚୁନ୍ ସିଂଙ୍କୁ ଭେଟି ଶିକ୍ଷାର ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ସୁଦୃଢ଼ କରିବା ନେଇ ଆଲୋଚନା କରିଥିଲେ । ଭାରତର ଶିକ୍ଷା ବ୍ୟବସ୍ଥାର ଅନ୍ତର୍ଜାତୀୟକରଣ ପାଇଁ ଜାତୀୟ ଶିକ୍ଷା ନୀତିର ଗୁରୁତ୍ୱ ଉପରେ ଚର୍ଚ୍ଚା କରିଥିଲେ । ଦୁଇ ମନ୍ତ୍ରୀ ଓଭରସିଜ୍ ଇଣ୍ଟର୍ନସିପ୍ କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ, ଯାହା ଦ୍ୱାରା ଭାରତୀୟ ଛାତ୍ରଛାତ୍ରୀମାନେ ସିଙ୍ଗାପୁର କମ୍ପାନୀରେ ବ୍ୟବହାରିକ ଅଭିଜ୍ଞତା ହାସଲ କରିପାରିବେ । ଉଭୟ ଦେଶର ଛାତ୍ରଛାତ୍ରୀଙ୍କ ମଧ୍ୟରେ ସାଂସ୍କୃତିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଭାରତରେ ସିଙ୍ଗାପୁର ସ୍କୁଲ ଏବଂ ସିଙ୍ଗାପୁରରେ ଭାରତର ସ୍କୁଲ ଖୋଲିବାର ସମ୍ଭାବନା ଉପରେ ଆଲୋଚନା ହୋଇଥିଲା । ଡିପଟେକ୍, ମେଡିସିନ, ଅତ୍ୟାଧୁନିକ ସାମଗ୍ରୀ ଇତ୍ୟାଦି ପାରସ୍ପରିକ ସ୍ୱାର୍ଥ କ୍ଷେତ୍ରରେ ମିଳିତ ଗବେଷଣା ସହଯୋଗ ଉପରେ ମଧ୍ୟ ଆଲୋଚନା ହୋଇଥିଲା। ଉଭୟ ଦେଶର ବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ଏକାଡେମିକ ଏବଂ ଗବେଷଣା ସହଯୋଗକୁ ପ୍ରୋତ୍ସାହିତ କରିବା ଉପରେ ମଧ୍ୟ ସେମାନେ ଆଲୋଚନା କରିଛନ୍ତି । ଶ୍ରୀ ପ୍ରଧାନ ପାଠ୍ୟକ୍ରମ ବିକାଶ, ଶିକ୍ଷାଦାନ ଏବଂ ଶିକ୍ଷକ ଦକ୍ଷତା ବୃଦ୍ଧି ଭଳି କ୍ଷେତ୍ରରେ ସିଙ୍ଗାପୁରର ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଏଜୁକେସନ ଏବଂ ଏନସିଇଆରଟି ମଧ୍ୟରେ ସହଯୋଗର ସୁଯୋଗ ଉପରେ ଆଲୋକପାତ କରିଥିଲେ । ସିଙ୍ଗାପୁର ଶିକ୍ଷା ମନ୍ତ୍ରୀ ଚାନଙ୍କୁ ଭାରତ ଗସ୍ତ ପାଇଁ ନିମନ୍ତ୍ରଣ କରିବା ସହ ଶ୍ରୀ ପ୍ରଧାନ ଦୁଇ ଦେଶ ମଧ୍ୟରେ ଥିବା ଉଭୟ ପକ୍ଷର ଲକ୍ଷ୍ୟକୁ ଆଗକୁ ବଢ଼ାଇବା ଏବଂ ଶିକ୍ଷାଗତ ସମ୍ପର୍କ ବୃଦ୍ଧି ପାଇଁ ପ୍ରତିବଦ୍ଧତା ପ୍ରକାଶ କରିଥିଲେ ।
/